ସକାଳୁ ସକାଳୁ ଶୀତ କରୁଛି ଅସ୍ତବ୍ୟସ୍ତ । ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ ଥଣ୍ଡା। ଶୀତ ସହ ଘନ କୁହୁଡି ବି କରିବ କଲବଲ । ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ଶୀତ ଅନୁଭୁତ ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ବର୍ତ୍ତମାନ ରାଜ୍ୟର ଆଭ୍ୟନ୍ତରୀଣ ଓଡ଼ିଶା ସୁନ୍ଦରଗଡ, କେନ୍ଦୁଝର, ଝାରସୁଗୁଡା, ଅନୁଗୁଳ, ଢେଙ୍କାନାଳ, ସମ୍ବଲପୁର, ବରଗଡ, କଳାହାଣ୍ଡି, କନ୍ଧମାଳ, କୋରାପୁଟ, ନବରଙ୍ଗପୁର ଜିଲ୍ଲାରେ ସ୍ବାଭାବିକ ଶୀତ ଅନୁଭୁତ ହେଉଛି। ସେହିପରି ଉପକୂଳ ଓଡ଼ିଶାର ଖୋର୍ଦ୍ଧା, କଟକ, ନୟାଗଡ, କେନ୍ଦ୍ରାପଡା, ଜଗତସିଂହପୁର, ଭଦ୍ରକ, ବାଲେଶ୍ବର, ମୟୁରଭଞ୍ଜରେ ବି ଜାଡ ଅନୁଭୁତ ହେଉଛି। ଆସନ୍ତା ୩ ରୁ ୪ ଦିନ ପର୍ଯ୍ୟନ୍ତ ରାତି ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ । କିଛି ଜିଲ୍ଲାରେ ଘନ କୁହୁଡି ହୋଇ ୫୦ ମିଟର ତଳକୁ ଖସିଆସିବ ଦୃଶ୍ୟମାନ କ୍ଷମତା। କିଛି ଅଞ୍ଚଳରେ ଜିରୋ ଭିଜିବିଲିଟି ପରିସ୍ଥିତି ସୃଷ୍ଟି ହୋଇପାରେ। ସେହିଭଳି ଆଗାମୀ ୨ ଦିନ ପର୍ଯ୍ୟନ୍ତ ଗଞ୍ଜାମ, ପୁରୀ, ଖୋର୍ଦ୍ଧା, କଟକ, ନୟାଗଡ, କେନ୍ଦୁଝର ଏବଂ ଝାରସୁଗୁଡାର କିଛି ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର କୁହୁଡି ଅନୁଭୁତ ହେବା ନେଇ ସତର୍କ କରାଇଛି ପାଣିପାଗ କେନ୍ଦ୍ର।