ସଂଚାର ବ୍ୟୁରୋ: ଆଜି କାର୍ତ୍ତିକ କୃଷ୍ଣ ତ୍ରୟୋଦଶୀ ତିଥିରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ବନକଲାଗି ନୀତି। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସନ୍ଧ୍ୟା ୫ରୁ ରାତି ୧୦ଟା ପର୍ଯ୍ୟନ୍ତ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।
ବନକଲାଗି ନୀତି ଗୁପ୍ତନୀତି ହୋଇଥିବାରୁ ଏହି ସମୟରେ ଚତୁର୍ଦ୍ଧା ମୂରତିଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ। କିନ୍ତୁ ପାର୍ଶ୍ୱ ଦେବାଦେବୀଙ୍କ ଦର୍ଶନ କରିପାରିବେ ଭକ୍ତ। ବନକଲାଗି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି। ସେବକମାନେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧନରେ ଶ୍ରୀବିଗ୍ରହ ମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରିବେ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ।