ରାଜ୍ୟରେ ଗ୍ରୀଷ୍ମ ପ୍ରବାହର ମୁକାବିଲା ପ୍ରସ୍ତୁତି ସଂପର୍କରେ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ସ୍କୁଲ ଗୁଡିକୁ ସକାଳୁଆ କରିବା ପାଇଁ ତୁରନ୍ତ ଏସଓପି ଜାରି କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ସକାଳ ୭ଟାରୁ ୯ଟା ମଧ୍ୟରେ ଅଙ୍ଗନବାଡି କେନ୍ଦ୍ର ଖୋଲା ରହିବ। ଗ୍ରୀଷ୍ମ ପ୍ରବାହର ମୁକାବିଲା ପାଇଁ ବ୍ୟାପକ ସଚେତନତା କାର୍ଯ୍ୟକ୍ରମ ଉପରେ ଗୁରୁତ୍ବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ସେହିପରି ସପ୍ତାହକ ମଧ୍ୟରେ ନଳକୂପ ସ୍ଥାପନ ଓ ମରାମତି କରିବାକୁ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଖରାକୁ ଦୃଷ୍ଟିରେ ରଖି ଦିନ ୧୧ଟାରୁ ୫ଟା ଏବଂ ରାତି ୯ଟାରୁ ସକାଳ ୬ଟା ପର୍ଯ୍ୟନ୍ତ ବିଦ୍ୟୁତ କାଟ ନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଜିରୋ କାଜୁଆଲ୍ଟି ଲକ୍ଷ୍ୟ ରଖି ସମସ୍ତେ କାର୍ଯ୍ୟ କରିବା ପାଇଁ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଦେଇଥିଲେ। ଅଂଶୁଘାତର ମୁକାବିଲା ପାଇଁ ଛାଇ ଓ ପାଣି ହେଉଛି ସବୁଠାରୁ ଗୁରୁତ୍ବପୂର୍ଣ୍ଣ । ସହରାଞ୍ଚଳରେ ଟ୍ରାଫିକ ଛକ ଏବଂ ଗ୍ରାମାଞ୍ଚଳରେ ବସ୍ଷ୍ଟାଣ୍ଡ ଗୁଡିକରେ ଛାଇ ପାଇଁ ଟେଣ୍ଟ ବ୍ୟବସ୍ଥା ଓ ଜଳଛତ୍ର ବ୍ୟବସ୍ଥା କରିବା ପାଇଁ ସମସ୍ତେ ଯତ୍ନବାନ ହେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ଯେଉଁସବୁ ଅଞ୍ଚଳରେ ପାନୀୟ ଜଳର ଅଭାବ ପରିଲକ୍ଷିତ ହେଉଛି, ସେ ସବୁ ଅଞ୍ଚଳକୁ ଚିହ୍ନଟ କରି ବୋର୍ୱେଲ ଓ ନଳକୂପର ବ୍ୟବସ୍ଥା କରିବା ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳ ମାନଙ୍କୁ ପରାମର୍ଶ ଦେଇଛନ୍ତି। ସେହିପରି ଉଭୟ ସରକାରୀ ଓ ବେସରକାରୀ କ୍ଷେତ୍ରରେ କାର୍ଯ୍ୟରତ ଶ୍ରମିକଙ୍କ ପାଇଁ ଦିନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ କାମ ବନ୍ଦ ରଖିବାକୁ ନିର୍ଦ୍ଦେଶନାମା ଜାରି କରିବା ପାଇଁ ସଂପୃକ୍ତ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି।