ଭୁବନେଶ୍ୱର : ବିଜେପି ନେତା ସମୀର ଦେଙ୍କ ପରଲୋକ। ଏହି ଖବର ପାଇବାପରେ ଶୋକ ପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସେ ସୋସିଆଲ ମିଡିଆରେ ଲେଖିଛନ୍ତି କି, ଓଡ଼ିଶାର ପୂର୍ବତନ ମନ୍ତ୍ରୀ ତଥା ଆମ ଦଳର ବରିଷ୍ଠ ନେତା ସମୀର ଦେଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଦାଦା ଜଣେ ମିଷ୍ଟଭାଷୀ ଓ ପରୋପକାରୀ ସ୍ୱଭାବର ବ୍ୟକ୍ତି ଥିଲେ । ତାଙ୍କୁ ସବୁବେଳେ ଭେଟିବା ସମୟରେ ତାଙ୍କର ପରିବାର ସଦସ୍ୟଙ୍କ ଠାରୁ ମିଳିଥିବା ସ୍ନେହ ଆଦର ଅଭୁଲା ରହିବ ।
ବିଜେପିର ପ୍ରାରମ୍ଭିକ ପ୍ରଗତି ସମୟରେ ଉପକୂଳ ଓଡ଼ିଶାରେ ଅଭ୍ୟୁଦୋୟର କେନ୍ଦ୍ରବିନ୍ଦୁ ଭାବେ କଟକ ସହରରୁ ଆମ ଦଳର ରାଷ୍ଟ୍ରବାଦୀ ବିଚାରକୁ ଜନପ୍ରିୟ କରାଇବାରେ ସେ ପ୍ରମୁଖ ଭୂମିକା ନେଇଥିଲେ । ଦାଦାଙ୍କ ବିୟୋଗରେ ଓଡ଼ିଶା ଜଣେ ସ୍ନେହୀ ଓ ଦକ୍ଷ ନେତାଙ୍କୁ ହରାଇଲା । ଜନପ୍ରତିନିଧି ଭାବେ ସେ ଯେଉଁ ଉନ୍ନତିମୂଳକ କାର୍ଯ୍ୟ କରିଯାଇଛନ୍ତି, ତାହା ସବୁଦିନ ପାଇଁ ସ୍ମରଣୀୟ ହୋଇରହିବ । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି ।
ଓଁ ଶାନ୍ତି