ସଂଚାର ବ୍ୟୁରୋ: ନୂଆବର୍ଷରୁ ବଢିବ ଜାଡ। ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ଶୀତ ବଢିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ରାତିର ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବାର ସମ୍ଭାବନା ନଥିବା ବେଳେ ପରେ ୨ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା କମିବ। ପ୍ରବଳ ଜାଡ ସହ ଘନ କୁହୁଡି ଅସ୍ତବ୍ୟସ୍ତ କରିବ । ସେପଟେ ଆସନ୍ତାକାଲି ପର୍ଯ୍ୟନ୍ତ ରାଜ୍ୟରେ ପଶ୍ଚିମା ଝଡର ପ୍ରଭାବ ରହିବ। ୨୪ ଘଣ୍ଟା ମଧ୍ୟରେ ନବରଙ୍ଗପୁର, ବଲାଙ୍ଗିର, ବରଗଡ, ସୋନପୁର, ଝାରସୁଗୁଡା, ସୁନ୍ଦରଗଡ, କଳାହାଣ୍ଡି, ମୟୁରଭଞ୍ଜ, କେନ୍ଦୁଝର, ସମ୍ବଲପୁର ଏବଂ ନୂଆପଡାରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି। କାଲି କଳାହାଣ୍ଡି, କନ୍ଧମାଳ, କୋରାପୁଟ ଏବଂ ମାଲକାନଗିରିରେ ହାଲୁକା ବର୍ଷା ସମ୍ଭାବନା ଥିବା ବେଳେ ବାକି ଜିଲ୍ଲାରେ ପାଗ ମୁଖ୍ୟତଃ ଶୁଖିଲା ରହିବ। ୩୧ ତାରିଖ ଠାରୁ ଆଭ୍ୟନ୍ତରୀଣ ଓଡ଼ିଶାର କଳାହାଣ୍ଡି, କନ୍ଧମାଳ, ସମ୍ବଲପୁର, ବରଗଡ, ସୁନ୍ଦରଗଡ, ଝାରସୁଗୁଡା, ବଲାଙ୍ଗିର, ସୋନପୁର, ବୌଦ୍ଧ, ମୟୁରଭଞ୍ଜ ଆଦି ଜିଲ୍ଲାରେ ତାପମାତ୍ରା କମିବ। ପରେ ଉପକୂଳ ଓଡିଶାର ଅଧିକାଂଶ ଜିଲ୍ଲାରେ ତାପମାତ୍ରା କମିବା ନେଇ ଆକଳନ କରାଯାଇଛି। ସେପଟେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘନ କୁହୁଡି ନେଇ ୨ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ବିଶେଷ କରି କଳାହାଣ୍ଡି ଏବଂ କନ୍ଧମାଳ ଜିଲ୍ଲାକୁ ସତର୍କତା ଜାରି କରିଛି ପାଣିପାଗ କେନ୍ଦ୍ର। ଏହି ଦୁଇ ଜିଲ୍ଳାରେ ୫୦ ମିଟର ତଳକୁ ଖସିଆସିବ ଦୃଶ୍ୟମାନ ଦୂରତା। ସେହିଭଳି କେନ୍ଦୁଝର, ଝାରସୁଗୁଡା, ସୁନ୍ଦରଗଡ ଏବଂ ଅନୁଗୁଳରେ ମଧ୍ୟମ ଧରଣର କୁହୁଡି ନେଇ ସତର୍କତା ଜାରି କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ପାହାଡିଆ ଅଞ୍ଚଳ ଭାବରେ ଜି ଉଦୟଗିରି ସବୁଠାରୁ ଥଣ୍ଡା ସହର ଭାବରେ ରେକର୍ଡ କରାଯାଇଛି। ଜି ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ୧୦ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ସମତଳ ଅଞ୍ଚଳ ଭାବରେ ଫୁଲବାଣୀରେ ୧୨.୫ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି। ଭୁବନେଶ୍ବରରେ ୧୪.୪ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଥିବା ବେଳେ କଟକରେ ୧୪.୫ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି।